ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମତଲୁବଙ୍କ ଦେହାନ୍ତ ନେଇ ପୁଅ ମାସୁଦ ଅଲ୍ଲୀ ସୂଚନା ଦେଇଛନ୍ତି।
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତ ୧୪ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ଶେଖ୍ ମତଲୁବଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
୧୯୭୪, ୧୯୮୦, ୧୯୮୫, ୧୯୯୫ରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ବିଧାୟକ ଭାବେ ସେ ନିର୍ବାଚିତ ହୋଇଥିଲେ। ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।