ପୁଣି ଲଘୁଚାପ; ଏଥର ପ୍ରବଳ ବର୍ଷିବ, ଜିଲ୍ଲାଗୁଡ଼ିକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ,ବଲାଙ୍ଗିର ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ। ବର୍ଷାର ପରିମାଣ ବଢ଼ିବାର ଆଶଙ୍କା ରହିଥିବାରୁ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ରହିଥିବାରୁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

You might also like