ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା ଆସନ୍ତା ୨ରୁ ୩ ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଓଡ଼ିଶା, ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦିଗରେ ଗତି କରିବ ।

ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଏବଂ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଅନୁମାନ କରିଛି ପାଣିପାଗ କେନ୍ଦ୍ର । ଏନେଇ ୨୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ସୁଦ୍ଧା ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୋରଦାର ବର୍ଷା ଲାଗି ରହିଛି । ଏହି ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଥିଲା । ଏମିତିକି ପ୍ରବଳ ବର୍ଷା ସହ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବରୁ ସତର୍କ କରିଛି । ଆଗୁଆ ପ୍ରସ୍ତୁତ ରହିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶ ମଧ୍ୟ ଦିଆଯାଇଛି ।

Other Stories